ଗୁରୁବାର ବିଳମ୍ବିତ ରାତିରେ ଦକ୍ଷିଣପୂର୍ବ ଓ ସଂଲଗ୍ନ ବାଂଲାଦେଶ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇ ଏହା ଆଗାମୀ ୪୮ ଘଣ୍ଟା ମଧ୍ୟରେ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଅବପାତରେ ପରିଣତ ହୋଇପାରେ। ଏନେଇ ଭାରତୀୟ ପାଣିପାଗ ବିଭାଗ (IMD) ସହିତ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ମିଳିଛି। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ବର୍ତ୍ତମାନ ଦକ୍ଷିଣପୂର୍ବ ବାଂଲାଦେଶ ଓ ସଲଗ୍ନ ଅଞ୍ଚଳରେ ସକ୍ରିୟ ହୋଇ ଅଧିକ ଘନୀଭୂତ ହେବା ପରେ ଉପକୂଳବର୍ତ୍ତୀ ବାଂଲାଦେଶ ଓ ତାର ପାଶ୍ୱବର୍ତ୍ତୀ ଅଞ୍ଚଳରେ ଲଘୁଚାପ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ଥିବା ପୂର୍ବାନୁମାନ କରିଥିଲା ପାଣିପାଗ ବିଭାଗ । ତେବେ ଏହା ପ୍ରଭାବରେ ରାଜ୍ୟରେ ଗୁରୁବାର ଠାରୁ ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ୩ ଦିନ ଧରି ବର୍ଷା ସମ୍ଭାବନା ରହିଛି। କଳାହାଣ୍ଡି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ଥିବାରୁ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏହାଛଡ଼ା ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଜଗତସିଂହପୁର, ଗଜପତି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲାମାନଙ୍କୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସମୟରେ ୪୦ ରୁ ୫୦ କିମି ପବନ ବହିବା ସହ ସମୁଦ୍ର ଅଶାନ୍ତ ରହିବ। ତେଣୁ ୧୩ ରୁ ୧୫ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି । ଅପରପକ୍ଷରେ ଗତ ୨୪ ଘଣ୍ଟାରେ ରାଜ୍ୟର କିଛି ସ୍ଥାନରେ ବିଜୁଳି ଘଡଘଡି ସହ ହାଲୁକା ବର୍ଷା ହୋଇଥିବାବେଳେ କେନ୍ଦ୍ରାପଡାର ଗରଦପୁରରେ ସର୍ବାଧିକ ୩୩.୦୦ ମିମି ବର୍ଷା ରେକର୍ଡ ହୋଇଛି। ତେବେ ୧୫ ତାରିଖ ବେଳକୁ ବର୍ଷାର ପରିମାଣ କମିବା ନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।