ଭୁବନେଶ୍ୱର: ଉତ୍ତର ଆଣ୍ଡାମାନ ତଥା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ସୋମବାର ସୁଦ୍ଧା ଲଘୁଚାପର ରୂପ ନେବ। ତେବେ ଏହାର ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏହି ଲଘୁଚାପ ପ୍ରଭାବରେ ଆସନ୍ତା ତିନି ଦିନ ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ଅଛି। ତେବେ ରବିବାର ୧୭ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ସୋମବାର ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି ହୋଇଛି । ଆସନ୍ତା ୨୩ ତାରିଖରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡିଶାରୁ ପ୍ରତ୍ୟାବର୍ତ୍ତନ କରୁଥିବା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି।
ରବିବାର ପାଇଁ ଖୋର୍ଦ୍ଧା, କଟକ, ପୁରୀ, କେନ୍ଦ୍ରାପଡ଼ା, ଜଗତସିଂହପୁର, ମାଲକାନଗିରି, କୋରାପୁଟ, ଢେଙ୍କାନାଳ, ଅନୁଗୁଳ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ସୋମବାର ପାଇଁ କଟକ, ଜଗତସିଂହପୁର, ମାଲକାନଗିରି, କୋରାପୁଟ, ବାଲେଶ୍ବର, ଭଦ୍ରକ, କେନ୍ଦୁଝର, ମୟୂରଭଞ୍ଜ, କେନ୍ଦ୍ରାପଡା, ଯାଜପୁର, ଢେଙ୍କାନାଳ ଓ ଅନୁଗୁଳ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଅପରପକ୍ଷରେ ଗତ ୨୪ ଘଣ୍ଟାରେ ଭଦ୍ରକର ବାସୁଦେବପୁରରେ ରାଜ୍ୟର ସର୍ବାଧିକ ୪୫ .୦୦ ମିମି ବର୍ଷା ରେକର୍ଡ କରାଯାଇଛି ।