ଭୁବନେଶ୍ୱର: ରବିବାର ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ମିଆଁମାରର ଦକ୍ଷିଣ ଉପକୂଳ ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଏବେ ପଶ୍ଚିମ-ଉତ୍ତର ଦିଗରେ ଗତି କରୁଛି। ଏହା ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଲଘୁଚାପରେ ପରିଣତ ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ। ତେବେ ଏହି ଲଘୁଚାପ ପ୍ରଭାବରେ ଆଗାମୀ ୨୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର କିଛି ଅଂଚଳରେ ପ୍ରବଳ ବର୍ଷା ହେବ। ସୋମବାର କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ମୟୂରଭଞ୍ଜ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରିରେ ପ୍ରବଳ ବର୍ଷା ସମ୍ଭାବନା ନେଇ ୟେଲୋ ଆଲର୍ଟ ଜାରି ହୋଇଛି। ସେହିପରି ୨୪ରେ ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼, କୋରାପୁଟ, ମାଲକାନଗିରି, କଳାହାଣ୍ଡି ଓ ନବରଙ୍ଗପୁରରେ ୭୦ରୁ ୧୧୦ ମିଲିମିଟର ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ୨୫ ତାରିଖରେ ଦକ୍ଷିଣ ଓଡ଼ିଶାର କିଛି ଅଂଚଳରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି। ଅପରପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ବୌଦ୍ଧରେ ରାଜ୍ୟର ସର୍ବାଧିକ ୬୪.୪ ମିଲିମିଟର ବର୍ଷା ରେକର୍ଡ ହୋଇଥିବା ବେଳେ ଭୁବନେଶ୍ୱରରେ ୧୫.୨ ଓ ନୂଆପଡ଼ାରେ ୧୪.୪ ମିଲିମିଟର ବର୍ଷା ହୋଇଛି ରେକର୍ଡ ।