କେନ୍ଦ୍ରୀୟ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତରେ ପରିଣତ ହୋଇଛି । ବର୍ତ୍ତମାନ ଏହାର ସ୍ଥିତି ଉତ୍ତର-ପଶ୍ଚିମ ସଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଥିବା ବେଳେ ଏହା ଉତ୍ତର ମୁହାଁ ହୋଇ ଗତି କରୁଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଗାଙ୍ଗେୟ ପଶ୍ଚିମବଙ୍ଗ ଉପକୂଳରେ ଅବପାତ ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ପ୍ରକାଶ ପାଇଛି। ପରେ ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଗାଙ୍ଗେୟ ପଶ୍ଚିମବଙ୍ଗ, ଉତ୍ତର ଓଡ଼ିଶା, ଝାଡଖଣ୍ଡ ଦେଇ ଛତିଶଗଡ଼ ମୁହାଁ ହେବ। ଏହା ପ୍ରଭାବରେ ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କିଛି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ଭୁବନେଶ୍ବରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ। ବିଭାଗ ପକ୍ଷରୁ ରବିବାର ପ୍ରବଳରୁ ଅତି ପ୍ରବଳ ବର୍ଷା (୭୦ରୁ ୨୦୦ ମି.ମି.) ହେବା ନେଇ ୫ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲାଗୁଡ଼ିକ ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲା ରହିଥିବା ବେଳେ ୯ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବିଶେଷକରି କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୯ ଓ ୧୦ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୯ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସମୟରେ ପ୍ରବଳ ବର୍ଷା ସହ ଘଣ୍ଟା ପ୍ରତି ୪୦ ରୁ ୫୦ କି.ମି. ବେଗରେ ପବନ ବହିବାର ସମ୍ଭାବନା ରହିଛି। ସେହିପରି ସମୁଦ୍ର ଅଶାନ୍ତ ରହିବା କାରଣରୁ ୧୦ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନ ଯିବାକୁ କୁହାଯାଇଛି। ଏନେଇ ସୂଚନା ଦେଇଛନ୍ତି ପାଣିପାଗ ବିଭାଗ ନିର୍ଦ୍ଦେଶିକା ମନୋରମା ମହାନ୍ତି।