ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟ ସାମୁଦ୍ରିକ ବାତ୍ୟା ‘ଫେଙ୍ଗାଲ’ ଶନିବାର ଲ୍ୟାଣ୍ଡଫଲ କରିଛି । ଶନିବାର ରାତି ପ୍ରାୟ ୮ଟାରୁ ତାମିଲନାଡୁ ଓ ପୁଡୁଚେରୀ ଉପକୂଳ ଅଞ୍ଚଳରେ ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଆରମ୍ଭ ହୋଇ ରାତି ପ୍ରାୟ ୨ଟା ପର୍ଯ୍ୟନ୍ତ ଚାଲିଥିଲା। । ଏହାର ପ୍ରଭାବରେ ଓଡ଼ିଶା ସମେତ କିଛି ରାଜ୍ୟରେ ବର୍ଷା ଲାଗି ରହିଥିବା ବେଳେ ଓଡ଼ିଶାରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତିଙ୍କ ସୂଚନା ଅନୁଯାୟୀ, ରବିବାର ଓଡ଼ିଶାର ୧୫ ଜିଲ୍ଲାରେ ବିକ୍ଷିପ୍ତ ଭାବରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ପ୍ରଭାବିତ ଜିଲ୍ଲାଗୁଡ଼ିକ ହେଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ବୌଦ୍ଧ, ସୋନପୁର, ବରଗଡ଼, ସମ୍ବଲପୁର, ଦେବଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ । ସେହିପରି ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟର କିଛି ଅଂଚଳରେ ସ୍ୱଳ୍ପରୁ ମଧ୍ୟମଧରଣର ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଅପରପକ୍ଷରେ ୪ ତାରିଖରୁ ପାଗରେ ପରିବର୍ତ୍ତନ ଆସିବ।